ଆଜି ଶ୍ରୀମନ୍ଦିରରେ ଚିତାଲାଗି ନୀତି: ଚାରି ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ (କେନ୍ୟୁଜ): ଆଜି ଶ୍ରୀମନ୍ଦିରରେ ଚିତାଲାଗି ଅମାବାସ୍ୟା। ମହାପ୍ରଭୁଙ୍କୁ ଲାଗି ହେବ ବ୍ରହ୍ମଜ୍ୟୋତି ହୀରା ଚିତା। ପତିମହାପାତ୍ର ସେବାୟତ ସଂସ୍କାର କରିବା ପରେ ତିନି ବାଡର ବାଡ଼ଗ୍ରାହୀ ଦଇତାପତି, ଓ ଅନ୍ୟାନ୍ୟ ଦଇତାପତି ସେବାୟତ ମାନେ ମହାପ୍ରଭୁଙ୍କୁ ଏହି ଅଳଙ୍କାର ଲାଗି କରିବେ।

ଚିତାଲାଗି ଅମାବାସ୍ୟା ବା ଚିତଉ ଉଆଁସ ଓଡ଼ିଶାରେ ପାଳିତ ଏକ ଗଣପର୍ବ । ଏହା ଶ୍ରାବଣ ମାସର ଅମାବାସ୍ୟା ତିଥିରେ ପାଳିତ ହୋଇଥାଏ । ଏହି ଦିନ ଶ୍ରୀମନ୍ଦିରରେ ଜଗନ୍ନାଥ, ବଳଭଦ୍ର, ଓ ସୁଭଦ୍ରାଙ୍କର ଚିତାଲାଗି ହୋଇଥାଏ । ନିତିଦିନିଆ ପୂଜା ଓ ଧୂପ ଶେଷ ହେବା ପରେ ଦଇତାପତିମାନେ ତିନିଠାକୁରଙ୍କ ଲଲାଟରେ ଚିତାଲାଗି କରନ୍ତି । ଏହି ଶ୍ରାବଣ ଅମାବାସ୍ୟା ଦିନ ଶ୍ରୀମନ୍ଦିର ତିନିଠାକୁରଙ୍କ ଲଲାଟରେ ଦଇତାପତିମାନେ ଚିତା ଲାଗି କରୁଥିବାରୁ ଏହାର ନାମ ଚିତାଲାଗି ଅମାବାସ୍ୟା ।ସ୍ନାନ ପୂର୍ଣ୍ଣିମାଦିନ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କ ଲଲାଟରୁ ଯେଉଁ ଚିତା ଉଲାଗି କରାଯାଇଥାଏ ତାହା ପୁଣି ଶ୍ରାବଣ ମାସ ଅମାବାସ୍ୟା ତିଥିରେ ଲାଗି କରାଯାଏ । ଶ୍ରୀଜଗନ୍ନାଥଙ୍କ ମସ୍ତକରେ ହୀରାଖଚିତ ଧଳା ଚିତା, ଶ୍ରୀ ବଳଭଦ୍ରଙ୍କ ମସ୍ତକରେ ନୀଳାଖଚିତ ନିଳ ଚିତା ଏବଂ ଦେବୀ ସୁଭଦ୍ରାଙ୍କ ମସ୍ତକରେ ମାଣିକ୍ୟ ଖଚିତ ନାଲି ଚିତା ଲାଗି କରାଯାଏ । ପରମ୍ପରା ଏବଂ ବିଧିମୁତାବକ ପତିମହାପାତ୍ର ସେବାୟତ ଏହି ଚିତାକୁ ସଂସ୍କାର କରିବା ପରେ ଦଇତାପତି ସେବାୟତ ଶ୍ରୀବିଗ୍ରହଙ୍କ ମସ୍ତକରେ ପରିଧାନ କରାଇଥାନ୍ତି । ଏହି ଚିତା ଶ୍ରୀବିଗ୍ରହମାନଙ୍କ ମସ୍ତକରେ ପରବର୍ତ୍ତୀ ସ୍ନାନପୂର୍ଣ୍ଣିମା ପର୍ଯ୍ୟନ୍ତ ଲାଗି ରହିଥାଏ ।

ଶ୍ରୀମନ୍ଦିରରେ ଭୋଗମଣ୍ଡପ ନୀତି ସରିବା ପରେ ଏହି ବିଶେଷ ନୀତି ଅନୁଷ୍ଠିତ ହେବ।ଶ୍ରୀଦେବୀ ଓ ଭୂଦେବୀ ରତ୍ନ ସିଂହାସନରୁ ଆସି ଖଟ ସେଜରେ ବିଜେ କରିବେ। ତେବେ ପ୍ରଥମ ଭୋଗମଣ୍ଡପ ଶେଷ ହେବା ପରେ ଦିନ ୨ ଟାରୁ ସନ୍ଧ୍ୟା ୬ ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.