୯ ଜଣ ଅଧିକାରୀଙ୍କ ଉପରେ ଦୁର୍ନୀତି ଛାଟ, କିଛିଙ୍କୁ ଦିଆଗଲା ବାଧ୍ୟତାମୂଳକ ଅବସର ଓ ଆଉ କିଛିଙ୍କ ପେନ୍‌ସନ ବନ୍ଦ

କେନ୍ୟୁଜ୍(ବ୍ୟୁରୋ): ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ ଜାରି। ୯ ଜଣ ଅଧିକାରୀଙ୍କ ଉପରେ ଦୁର୍ନୀତି ଛାଟ। ୫ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଥିବା ବେଳେ ୨ ଜଣଙ୍କୁ ଚାକିରୀରୁ ବହିଷ୍କାର ଓ ଅନ୍ୟ୨ ଜଣଙ୍କ ପେନ୍‌ସନ ସ୍ଥାୟୀଭାବେ ବନ୍ଦ କରିଦିଆଯାଇଛି। ଏମାନଙ୍କ ମଧ୍ୟରେ ଜଣେ ସୁପରିଟେଣ୍ଡିଂ ଇଞ୍ଜିନିୟର, ୨ ଜଣ ଏକଜିକ୍ୟୁଟିଭ ଇଞ୍ଜିନିୟର, ୨ ଜଣ ଆସିଷ୍ଟାଣ୍ଟ ଇଞ୍ଜିନିୟର, ଜଣେ ଜୁନିଅର ଇଞ୍ଜିନିୟର, ଜଣେ ଓଏଏସ୍‌ ଅଧିକାରୀ, ଜଣେ ଜିଲ୍ଲା ମୁଖ୍ୟ ପ୍ରାଣୀଧନ ଅଧିକାରୀ ଏବଂ ଜଣେ ସାମାଜିକ ଶିକ୍ଷା ସଂଗଠକ ରହିଛନ୍ତି। ଚାକିରିରୁ ବହିଷ୍କୃତ ହୋଇଥିବା ୫ ଜଣ ଅଧିକାରୀଙ୍କ ମଧ୍ୟରେ ଅଛନ୍ତି ମାଲକାନଗିରିର ଗ୍ରାମ୍ୟ ଉନ୍ନୟନ ଡିଭିଜନ-୧ର ପୂର୍ବତନ ସୁପରିଟେଣ୍ଡିଂ ଇଞ୍ଜିନିୟର ଆଶିଷ କୁମାର ଦାଶ। ଅସଦ ଉପାୟରେ ୧୦ଲକ୍ଷ ୨୩ହଜାର ଟଙ୍କା ନେଇ ଯାଉଥିବା ବେଳେ ସେ ଭିଜିଲାନ୍‌ସ ଦ୍ଵାରା ଧରା ପଡିଥିଲେ। ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

ଭଦ୍ରକ ଗ୍ରାମ୍ୟ ଉନ୍ନୟନ ଡିଭିଡନ-୧ର ପୂର୍ବତନ ଏକ୍‌ଜିକ୍ୟୁଟିଭ ଇଞ୍ଜିନିୟର ମାନସ ରଂଜନ ମହାନ୍ତି। ଜଣେ କଣ୍ଟ୍ରାକ୍ଟରଙ୍କ ଠାରୁ ୩୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ସେ ଦୁର୍ନୀତି ନିବାରଣ ବିଭାଗ ଦ୍ଵାରା ଧରା ପଡିଥିଲେ। ତାଙ୍କ ବିରୁଦ୍ଧରେ ଦୁଇଟି ବିଭାଗୀୟ ତଦନ୍ତ ମଧ୍ୟ ଚାଲିଥିଲା। ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। କଟକ ଗଣ୍ଡରପୁର ଡ୍ରେନେଜ୍‌ ଡିଭିଜନର ଏକ୍‌ଜିକ୍ୟୁଟିଭ ଇଞ୍ଜିନିୟର ମନୋଜ କୁମାର ବେହେରା ଓ ତାଙ୍କ ପତ୍ନୀଙ୍କ ନାମରେ ୪ କୋଟି ୨୬ ଲକ୍ଷରୁ ଉର୍ଦ୍ଧ୍ଵ ଟଙ୍କାର ଆୟବର୍ହିଭୁତ ସଂପତ୍ତି ଥିବା ଅଭିଯୋଗରେ ଭିଜିଲାନ୍‌ସ ମାମଲା ଚାଲିଥିଲା। ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

କେନ୍ଦୁଝର ଜିଲ୍ଲା ସାଳପଡାସ୍ଥିତ ବୈତରଣୀ ଜଳସେଚନ ଡିଭିଜନର ଆସିଷ୍ଟାଣ୍ଟ ଇଞ୍ଜିନିୟର ଶ୍ରୀ ଉମେଶ କୁମାର ଶାଶିନୀଙ୍କ ବିରୁଦ୍ଧରେ ଏକକୋଟି ୪୨ ଲକ୍ଷ ଟଙ୍କାରୁ ଅଧିକ ଟଙ୍କାର ଆୟବର୍ହିଭୁତ ସଂପତ୍ତି ଥିବା ଅଭିଯୋଗରେ ଦୁର୍ନିତୀ ମାମଲା ରହିଛି। ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଉମରକୋଟ ଆର୍‌ ଆଣ୍ଡ ବି ସେକ୍ସନର ଆସିଷ୍ଟାଣ୍ଟ ଇଞ୍ଜିନିୟର ବିଶୁଦ୍ଧାନନ୍ଦ ବେହେରାଙ୍କ ନାମରେ ନିମ୍ନମାନର କାମ କରିବାର ଅଭିଯୋଗ ଥିଲା। ଆୟ ବର୍ହିଭୁତ ସଂପତ୍ତି ଓ ଦୁର୍ନୀତି ମାମଲା ଥିବାରୁ ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ପାରଳାଖେମୁଣ୍ଡିର ଅବସରପ୍ରାପ୍ତ ପୂର୍ବତନ ଜିଲ୍ଲା ମୁଖ୍ୟ ପ୍ରାଣୀଧନ ଅଧିକାରୀ ଜଳଧର ମଲ୍ଲିକଙ୍କ ନାମରେ ଗୋଟିଏ ବଦଳି କେସ୍‌ରେ ୧୦ ହଜାର ଟଙ୍କାର ଲାଞ୍ଚ ଗ୍ରହଣ ମାମଲା ଥିଲା।

ଅସାଧୁତା କାରଣରୁ ତାଙ୍କ ପେନ୍‌ସନକୁ ସ୍ଥାୟୀ ଭାବେ ବନ୍ଦ ରଖାଯାଇଛି। ବାଲେଶ୍ଵର ଜିଲ୍ଲାରେ ଡେପୁଟି କଲେକ୍ଟର ଥିବା ଓଏଏସ ଅଧିକାରୀ ଶ୍ରୀମତୀ ସବିତା ସାହୁଙ୍କ ନାଁରେ ୧୦ ହଜାର ଟଙ୍କାର ଲାଞ୍ଚ ଗ୍ରହଣ ମାମଲା ଥିଲା। ଅସାଧୁତା କାରଣରୁ ତାଙ୍କୁ ଚାକିରୀରୁ ବହିଷ୍କାର କରାଯାଇଛି। ବଲାଙ୍ଗୀର ଜିଲ୍ଲାର ପୂର୍ବତନ ସାମାଜିକ ଶିକ୍ଷା ସଂଗଠକ ପ୍ରଭାସିନୀ ବାବୁ ଜଣେ ମହିଳାଙ୍କୁ ୨୦ ହଜାର ଟଙ୍କାର ସାମାଜିକ ସହାୟତା ପ୍ରଦାନ ପାଇଁ ୩ହଜାର ଟଙ୍କା ଲାଞ୍ଚ ନେଇଥିଲେ। ଅସାଧୁତା କାରଣରୁ ତାଙ୍କୁ ମଧ୍ୟ ଚାକିରୀରୁ ବହିଷ୍କାର କରାଯାଇଛି। ଗଞ୍ଜାମ ଜିଲ୍ଲା ରୁରାଲ ୱାର୍କ୍ସ ଡିଭିଜନ-୨ର ଅବସରପ୍ରାପ୍ତ ପୂର୍ବତନ ଜୁନିଅର ଇଞ୍ଜିନିୟର ତ୍ରିନାଥ ସେଠୀ ଲାଞ୍ଚ ମାମଲାରେ ଦେଷୀ ସାବ୍ୟସ୍ତ ହୋଇଛନ୍ତି। ଅସାଧୁତା କାରଣରୁ ତାଙ୍କ ପେନ୍‌ସନକୁ ସ୍ଥାୟୀ ଭାବେ ବନ୍ଦ ରଖାଯାଇଛି।

ମୁଖ୍ଯମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସାଧାରଣ ଜୀବନରେ କ୍ଷେତ୍ରରେ ଉଚ୍ଚ ନୈତିକତା ଓ ସାଧୁତା ବଜାୟ ରଖିବା ଉପରେ ସବୁବେଳେ ଗୁରୁତ୍ବ ଦେଇଆସିଛନ୍ତି। ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ସବୁବେଳେ ଶୂନ୍ଯ ସହିଷ୍ଣୁତା ଆଭିମୁଖ୍ଯ ଉପରେ ଜୋର ଦେଇଆସିଛନ୍ତି । ଜନସାଧାରଣଙ୍କୁ ସ୍ୱଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ମୁଖ୍ଯମନ୍ତ୍ରୀ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.